ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ : ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ଆଶୀର୍ବାଦ କାମନା କଲେ

ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ-1

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ। ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ। ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ। ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ବନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‌ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ। ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି। ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ। ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି। ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ। ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।

ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀ ତଟ ଉନ୍ନତି କରଣ କାର୍ଯ୍ୟର ଭିତ୍ତି ମଧ୍ୟ ରଖିଥିଲେ। ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର, ସମ୍ବଲପୁରର ମା’ ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ାୀ ଶ୍ରୀବଳଦେବ ଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିରର ସେବାୟତମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମଵିଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା। ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ନାତି ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ସୂଚନାଯୋଗ୍ୟ, ବ୍ରହ୍ମପୁରଠାରୁ ୩୦ କିଲୋମିଟର ଦୂରରେ ଋଶିକୂଲ୍ୟା ନଦୀ କୂଳରେ ମା ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ। ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି।

Share Now:

Kalinga News Beuro

Next Post

ପୁଟିନ୍‌ଙ୍କ ଚେତାବନୀ ସତ୍ତ୍ୱେ ‘ନାଟୋ’ ସଦସ୍ୟତା ନିମନ୍ତେ ଆବେଦନ କଲେ ଫିନ୍‌ଲାଣ୍ଡ୍‌ ଓ ସ୍ବିଡେନ୍‌

Wed May 18 , 2022
ବ୍ରସେଲ୍‌ଜ୍: ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ଙ୍କ ଚେତାବନୀ ସତ୍ତ୍ବେ ଆଜି ଫିନ୍‌ଲାଣ୍ଡ୍‌ ଓ ସ୍ବିଡେନ୍‌ ଯୁକ୍ତରାଷ୍ଟ୍ର ଆମେରିକା ନେତୃତ୍ବାଧୀନ ମେଣ୍ଟ ‘ନର୍ଥ ଆଟ୍‌ଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେସନ୍‌’ର (ନାଟୋ) ସଦସ୍ୟତା ନିମନ୍ତେ ଆବେଦନ କରିଛନ୍ତି। ରୁଷ୍‌ର ୟୁକ୍ରେନ୍‌ ଆକ୍ରମଣ ଯୋଗୁଁ ନିରାପତ୍ତାଜନିତ ଚିନ୍ତାରେ ପଡ଼ି ଫିନ୍‌ଲାଣ୍ଡ୍‌ ଓ ସ୍ବିଡେନ୍‌ ସଦସ୍ୟତା ନିମନ୍ତେ ଆବେଦନ କରିଥିବା ‘ନାଟୋ’ର ମହାସଚିବ ଜେନ୍ସ୍‌ ଷ୍ଟୋଲ୍‌ଟେନ୍‌ବର୍ଗ ସୁନିଶ୍ଚିତ କରି କହିଛନ୍ତି। ସାମ୍ବାଦିକମାନଙ୍କ ସହ ଆଳାପ କରିବା ବେଳେ […]
‘ନାଟୋ’ ସଦସ୍ୟତା ନିମନ୍ତେ ଆବେଦନ କଲେ ଫିନ୍‌ଲାଣ୍ଡ୍‌ ଓ ସ୍ବିଡେନ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial