କୋଭିଡ ବିପଦ ଦୂର ହୋଇନାହିଁ, ସତର୍କତା ଆବଶ୍ୟକ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି, ‘ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ସନ୍ତୋଷଜନକ ନୁହେଁ। ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ।’ ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାହାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି। ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି ସିଏଚସି ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟ ସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଆଇଆଇସିଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶ ଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ। ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ। ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ। ଏହି ବୈଠକରେ ପୁଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

ପରିଶ୍ରା ବାହାନରେ ଖସି ପଳାଉଥିଲା ହାଇଦର : ପୁଲିସ ଏନ୍‌କାଉଣ୍ଟରରେ ଗୁରୁତର

Sat Jul 24 , 2021
କଟକ/ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରକୁ ପୁଲିସ ଏନକାଉଣ୍ଟର କରିଛି। କଟକ ଜିଲ୍ଲା ଚୌଦ୍ୱାର ଜେଲରୁ ମୟୂରଭଂଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ। ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା ବୋଲି ପୁଲିସ ସୂଚନା ଦେଇଛି। କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା। ରିପୋର୍ଟ ଲେଖାଯିବା ବେଳକୁ ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ […]
ଗ୍ୟାଙ୍ଗଷ୍ଟର‌‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial