ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ବହୁତ ଅଧିକ ରହିଛି। ସେହିପରି ଯାଜପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ନୂଆପଡ଼ା, ବଲାଙ୍ଗୀର, କାଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଘୂର୍ଣ୍ଣିଝଡ଼ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା : ୧୯ ଜିଲ୍ଲାରେ ୟେଲୋୱାର୍ଣ୍ଣିଂ ଜାରି

Share Now: