ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଲେ କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ବର: ଶେଷରେ ବହୁ କଳ୍ପନାଜଳ୍ପନା ଓ ଚର୍ଚ୍ଚାର ଅନ୍ତ ଘଟାଇ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ତାଙ୍କୁ ‘ନବୀନ ଓଡ଼ିଶା’ ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ।ଗତ ଏକ ସପ୍ତାହ ଧରି ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିଲା କି ଭି.କେ.ପାଣ୍ଡିଆନ୍ କାର୍ତ୍ତିକ ପୂର୍ଣ୍ଣମୀ ଦିନ ବିଜୁ ଜନତା ଦଳରେ ଯୋଗଦେବେ। ‌ଗତକାଲି ଦଳର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଆସିବା ଲାଗି ଫୋନ୍ ଯିବା ଏବଂ ଶଂଙ୍ଖ ଭବନରେ ବିଶେଷ ବୈଠକର ଆହ୍ବାନ ଦିଆଯିବା ଏକ ପ୍ରକାର ନିଶ୍ଚିତ କରିଥିଲା‌ ଯେ ଶ୍ରୀ ପାଣ୍ଡିଆନ୍ ପ୍ରତ୍ୟକ୍ଷ ରାଜନୀତିକୁ ଓହ୍ଲାଉଛନ୍ତି। ସୂଚନା ଅନୁସାରେ ଆଜି ପୂର୍ବାହ୍ନ ୧୦.୧୫ ମିନିଟରେ ସେ ନବୀନ ନିବାସରେ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି‌ରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଦଛୁଇଁ, ତାଙ୍କର ଆଶୀର୍ବାଦ ନେଇ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ପୁରୀ ସାଂସଦ ତଥା ବିଜେଡିର ବରିଷ୍ଠ ନେତା ପିନାକୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ବିଜେଡି ନେତାଙ୍କୁ କହିଥିଲେ ଯେ ଶ୍ରୀ ପାଣ୍ଡିଆନ୍‌ଙ୍କର ପ୍ରଶାସନିକ କ୍ଷେତ୍ରରେ ଯେଉଁ ଅଭିଜ୍ଞତା ରହିଛି ତାହା ସେ ଦଳ ପାଇଁ ଏବଂ ରାଜ୍ୟର ବିକାଶ ଲାଗି ଉପଯୋଗ କରିବେ। ଶ୍ରୀ ପାଣ୍ଡିଆନ୍‌ ବିଜେଡି ଲାଗି ଏକ ଆସେଟ୍ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସେ ପ୍ରକାଶ କରିଛନ୍ତି।
ଉଳ୍ଲେଖଯୋଗ୍ୟ, ଗତ ଅକ୍ଟୋବର ୨୩ ତାରିଖରେ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ମିଳିଥିଲା ନୂଆ ନିଯୁକ୍ତି। ଏବେ ସେ ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଉଛନ୍ତି। ଶ୍ରୀ ପାଣ୍ଡିଆନ୍‌ ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲା ପରେ ୨୦୦୦ ସେପ୍ଟେମ୍ବର ୭ରୁ ୨୦୨୨ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ତାଲିମ ନେଇଥିଲେ। ତାଲିମ ଶେଷ ହେଲା ପରେ ସେ ପ୍ରଥମେ କଳାହାଣ୍ଡିର ଧର୍ମଗଡ଼ରେ ଉପଜିଲ୍ଲାପାଳ ପଦବିରେ ନିଯୁକ୍ତ ହୋଇଥିଲେ। ସେ କଳାହାଣ୍ଡିରେ ୨୦୦୨ ଅଗଷ୍ଟ ୧ରୁ ୨୦୦୪ ଫେବ୍ରୁଆରି ୨୯ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୦୪ ମାର୍ଚ୍ଚ ୧ରୁ ଜୁନ୍‌ ୩୦ ଯାଏ ଓଡ଼ିଶା ନିର୍ବାଚନ ବିଭାଗରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଥିଲେ। ୨୦୦୪ ଜୁଲାଇ ୧ରୁ ୨୦୦୫ ଏପ୍ରିଲ ୩୦ ଯାଏଁ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟ ତୁଲାଇଥିଲେ।
ସେହିପରି ଶ୍ରୀ ପାଣ୍ଡିଆନଙ୍କୁ ୨୦୦୫ ମେ’ ୧ରୁ ୨୦୦୭ ଏପ୍ରିଲ ୮ ଯାଏଁ ମୟୁରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ସେ ଗଞ୍ଜାମ ଜିଲ୍ଲାପାଳ ଭାବେ ୨୦୦୯ ଜାନୁଆରି ୧ ତାରିଖ ପର୍ଯ୍ୟନ୍ତ କାମ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିବା ପରେ ୨୦୧୧ ମେ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ଏହି ପଦବିରେ ଥିବା ସମୟରେ ତାଙ୍କର କ୍ଷମତା କ୍ରମଶଃ ବୃଦ୍ଧି ହୋଇଥିଲା ଓ କାର୍ଯ୍ୟ ପରିସର ବ୍ୟାପକ ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନ ସମୟରେ ସେ ପରୋକ୍ଷ ଭାବେ ଦଳର ଅଧିକାଂଶ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ୍‌ ଥିଲେ । ଏହାପରେ ଦଳ କ୍ଷମତାକୁ ଆସିବା ପରେ ‌ତାଙ୍କୁ ୫-ଟି ସଚିବ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଥିଲେ। ଏହାପରେ ସେ ଆହୁରି ଅଧିକ କ୍ଷମତାଶାଳୀ ହୋଇଉଠିଥିଲେ। ସଂପ୍ରତି ସେ ରାଜ୍ୟର ସବୁଠାରୁ ପ୍ରଭାବଶାଳୀ ବ୍ୟକ୍ତି ଭାବେ ପରିଗଣିତ ହେଉଛନ୍ତି।

Share Now:

Kalinga News Beuro

Next Post

ଟ୍ରେନ ଧକ୍କାରେ ୩ ହାତୀ ମୃତ : ରେଳ ଚଳାଚଳ ପ୍ରଭାବିତ

Mon Nov 27 , 2023
କୋଲକାତା: ପଶ୍ଚିମବଙ୍ଗର ଅଲିପୁରଦ୍ୱାର ଜିଲ୍ଲାର ରାଜାଭଟ ଖାୱାଠାରେ ଏକ ମାଲବାହୀ ଟ୍ରେନ୍ ଧକ୍କାରେ ୩ଟି ହାତୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ବନ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସକାଳେ ରାଜାଭଟ ଖୱାଠାରେ ୩ଟି ହାତୀ ରେଳ କରିଡର ଅତିକ୍ରମ କରୁଥିବା ବେଳେ ସିଲିଗୁଡ଼ି ଅଭିମୁଖେ ଯାଉଥିବା ଟ୍ରେନ୍ ସହ ଧକ୍କା ହୋଇଥିଲା। ଖବର ପାଇ ରେଳବାଇ ଓ ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୁର୍ଘଟଣା ପରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial